ଦୁର୍ଗମ ଗିରି ଦୁର୍ଗ ପ୍ରାଚୀର ଜୀର୍ଣ୍ଣ ଦୁଆରେ ବସି,
ଡାକେ ତାନ୍ତ୍ରିକ ମନ୍ତ୍ର ସାଧନେ ଜାଗ୍ରତ ପୁରବାସୀ!

ପୃଥ୍ବୀ ବିଦାରି ବାରବାଟୀ ମଡ଼ା ଉଠ ଉଠ ଚଞ୍ଚଳ,
ଖୋରଧାର ଶତ ସରଦାର ଶିର କର ଉନ୍ନତତର!

ଉଠ କଙ୍କାଳ, ଛିଡ଼ୁ ଶୃଙ୍ଖଳ, ଜାଗ ଦୁର୍ବଳ ଆଜି,
ଉଠୁ ଗତ ଗୌରବ, ହୃତ ଗୌରବ, ମୃତ ଗୌରବ ରାଜି।

ମେଘାସନ ତଳ ମନ୍ଦ୍ର-ନିନାଦ ବାଜେ ଫୁଲଝର ବୁକେ
ରାଇବଣିଆର ରଣ ସଙ୍ଗୀତ ଗଞ୍ଜାମ ପଥେ ଡାକେ।

ସିଂଭୂମ କହେ ମରଣ ଦୁଆରେ ବିଶାଖାପାଟଣା ଚାହିଁ
ସନ୍ତାନ ମୁଖେ, ଶମଶାନ ବୁକେ ପ୍ରାଣ ସଙ୍କେତ ନାହିଁ।

ଉଠ ଦୁର୍ବଳ, ଜାଗ କଙ୍କାଳ, ଛିଡ଼ୁ ଶୃଙ୍ଖଳ ଆଜି
ଉଠୁ ଗତ ଗୌରବ, ହୃତ ଗୌରବ, ମୃତ ଗୌରବ ରାଜି।

ଚିର ବନ୍ଦିତା ବନ୍ଦିନୀ ମାଆ ବନ୍ଧନ ଫେଇବାରେ,
ସମ୍ବଲପୁର ସମ୍ବଳ ବୀର ଦମ୍ଭ କି ନାହିଁ ଧରେ?

ଗଙ୍ଗା ଧୋଇଲା ଚିକୁର ଯାହାର, କୃଷ୍ଣା ଚରଣ ତଳ
ଶମଶାନ ଆଜି ମଡ଼ାଦେଶ ଆଜି, ଏହି ସେ ଉତ୍କଳ।

ଜାଗ ଦୁର୍ବଳ, ଛିଡ଼ୁ ଶୃଙ୍ଖଳ, ଉଠ କଙ୍କାଳ ଆଜି
ଉଠୁ ଗତ ଗୌରବ, ହୃତ ଗୌରବ, ମୃତ ଗୌରବ ରାଜି।

ନିଜାମ ଭୁବନେ କଳବର୍ଗର ଅର୍ଗଳ ଏଡ଼ି ଦିନେ
ଗଜପତି ବୀର ‘ବେରାର’ ଭେଦିଲା ଜୟ ଗୌରବ ଗାନେ।

ଦୁର୍ବାର ଗଡ଼, ‘ଦେବର କୋଣ୍ଡା’ କହେ ଆଜି ସେହି କଥା
ବାରବାଟୀ ବୀର ଦେଇଥିଲା ତାର ରଣେ ଉନ୍ନତ ମଥା।

ଛିଡ଼ୁ ଶୃଙ୍ଖଳ, ଜାଗ କଙ୍କାଳ, ଉଠ ଦୁର୍ବାର ଆଜି,
ଉଠୁ ଗତ ଗୌରବ, ହୃତ ଗୌରବ, ମୃତ ଗୌରବ ରାଜି।

ଖଣ୍ଡାକୁଶଳ ଖଣ୍ଡାୟତର ଦୁର୍ବାର କରବାଳେ
ଅଜେୟ ବଙ୍ଗ-ବାହିନୀ ଶୋଇଲେ ‘ଶତଗଡ଼’ ପ୍ରାନ୍ତରେ
ଗଉଡ଼ ଭୁବନ ହେଲା ପଦାନତ ମଗଧ ପାଇଲା ଲୀନ,

ପ୍ରତାପୀ ପୁଷ୍ପମିତ୍ର ହଟିଲା ଦେଇ ଉତ୍କଳେ ରଣ।
ଜାଗ କଙ୍କାଳ, ଜାଗ କଙ୍କାଳ, ଜାଗ କଙ୍କାଳ ଆଜି
ଉଠୁ ଗତ ଗୌରବ, ହୃତ ଗୌରବ, ମୃତ ଗୌରବ ରାଜି।

କଥା କହ, କଥା କହ କଙ୍କାଳ! ସେ କେତେ ଯୁଗର କଥା,
ହିମାଚଳ ତଳେ ଟେକିଥିଲା ଯେବେ ଏ ଜାତିର ବୀର ମଥା।

ବିଜୟୀ ‘ବିଜୟ ନଗର’ ମାଗିଲା ଶରଶ ଚରଣ ତଳେ,
‘ବାହାମନୀ’ ପତି ଯବନ, ଶମନ କାତରେ ଲୁଚିଲା ଘରେ।

ଉଠ କଙ୍କାଳ, ଉଠ ଦୁର୍ବଳ, ଛିଡ଼ୁ ଶୃଙ୍ଖଳ ଆଜି
ଉଠୁ ଗତ ଗୌରବ, ହୃତ ଗୌରବ, ମୃତ ଗୌରବ ରାଜି।

ହାଡ଼ ପାଶୁ ଆଜି ଭାଷା ବହି ଆସୁ, ଫୁଟୁ ମଡ଼ା ମୁଖେ ହସ
ଭଗ୍ନ ଏ ଗଡ଼ ମନ୍ଦିରେ ଶୁଭୁ ଦୁନ୍ଦୁଭି ଅହର୍ନିଶ।

ଶମଶାନ ଧୂଳି ଅଞ୍ଜଳି ଭରି ନିଅ ପୁରବାସୀ ଜନ;
ଲକ୍ଷ ଜୀବନ ସାକ୍ଷ୍ୟ ଦେବ ସେ ଗୌରବେ ମହୀୟାନ।

ଉଠ କଙ୍କାଳ, ଭେଦି ମହାକାଳ, ଜାଗ ଦୁର୍ବଳ ଆଜି
ଉଠୁ ଗତ ଗୌରବ, ହୃତ ଗୌରବ, ମୃତ ଗୌରବ ରାଜି।

ବେଳନାହିଁ, ବେଳ ନାହିଁ, କଙ୍କାଳ! ଟେକ ଚଞ୍ଚଳ ମଥା
ବିଦାରି ଉପଳ ନିର୍ମଳ ତବ ପିଞ୍ଜରୁ ଉଠୁ ବ୍ୟଥା,

ବାଜିଉଠୁ ବାରେ ମରଣ-ବିଜୟୀ ବଂଶୀ ସେ ବୁକୁତଳେ,
ଧୂର୍ଜଟି ଜଟାଜୁଟ କମ୍ପାଇ ଯୌବନ କୁତୂହଳେ।

ଉଠ କଙ୍କାଳ, ଉଠ ଦୁର୍ବଳ, ଜାଗ କଙ୍କାଳ ଆଜି
ଉଠୁ ଗତ ଗୌରବ, ହୃତ ଗୌରବ, ମୃତ ଗୌରବ ରାଜି।